
ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ୨୪ ଅକ୍ଟୋବରରେ ଅବପାତ ଏବଂ ୨୫ ଅକ୍ଟୋବରରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ଅଛି । ୨୬ ଅକ୍ଟୋବର ସକାଳ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଧିକ ରହିଛି । ଏହାପରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତା ୨ ଦିନ ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଦକ୍ଷିଣ ଓଡ଼ିଶା ମୁହାଁ ହେବ ।
୨୬ରୁ ପ୍ରବଳ ବର୍ଷା ଆରମ୍ଭ ହେବାର ଥିବାବେଳେ ୨୭, ୨୮ ଓ ୨୯ରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଆସନ୍ତା ୨୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି । ସେହିପରି ୨୭ ତାରିଖ ପାଇଁ ପୁରୀ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଯେତେବେଳେକି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଆଦି ଜିଲ୍ଲାରେ ମଧ୍ୟ ବ୍ୟାପକ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି ।
ସେହିପରି ୨୮ରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଯେତେବେଳେକି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି ।







