
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ କରିଥିବାରୁ ଅଭିନନ୍ଦନ ଜଣାଇ ଓଡ଼ିଶା କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ ଯୋଜନା, OSCMF ଓ OSSC ପାଇଁ ୧,୩୬୦ କୋଟି କର୍ପସ ଫଣ୍ଡ, ୪.୨୦ ଲକ୍ଷ ଯୁବକ-ଯୁବତୀଙ୍କୁ ଦକ୍ଷତା ପ୍ରଶିକ୍ଷଣ ଓ କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି ।
ଶିକ୍ଷକ ଓ ଅଧିକାରୀଙ୍କ ବରିଷ୍ଠତା ନିର୍ଦ୍ଧାରଣ ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶା ପ୍ରାଥମିକ ଶିକ୍ଷା (ନିଯୁକ୍ତି ପଦ୍ଧତି ଓ ସେବା ସର୍ତ୍ତାବଳୀ) ନିୟମ, ୧୯୯୭ରେ ସଂଶୋଧନ କରାଯିବ । ବର୍ତ୍ତମାନ ଲେଭଲ୍-IIIରେ କାର୍ଯ୍ୟକାଳ ଆଧାରରେ ଲେଭଲ୍-II (ABEO) ପଦର ବରିଷ୍ଠତା ନିର୍ଦ୍ଧାରଣ ହେଉଥିବାରୁ କନିଷ୍ଠ କର୍ମଚାରୀ ବରିଷ୍ଠଙ୍କ ଉପରେ ସ୍ଥାନ ପାଉଥିବା ସମସ୍ୟା ଦେଖାଦେଇଛି । ଏଣିକି ଚୟନ ତାଲିକାରେ ଥିବା ସ୍ଥାନକୁ ବରିଷ୍ଠତା ନିର୍ଦ୍ଧାରଣର ଆଧାର କରିବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି ।








