
ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ ଏବଂ ୫.୮ କିଲୋମିଟିର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଦକ୍ଷିଣ-ପଶ୍ଚିମ ଆଡକୁ ଉଚ୍ଚତା ସହ ଢ଼ଳି ରହିଛି । ଏହା ପ୍ରଭାବରେ ୨ ସେପ୍ଟେମ୍ବରରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ରାଜ୍ୟରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ପ୍ରଭାବରେ ବର୍ଷା ଲାଗିରହିଥିବା ବେଳେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଆଜି ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି । ସେହିପରି ପ୍ରବଳ ବର୍ଷା ପାଇଁ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗୀର, ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେପଟେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଫଳରେ ବର୍ଷାର ପରିମାଣ ବଢ଼ିବ । ପ୍ରବଳ ଜୋରରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ୩୦-୪୦ କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି ।