
ଆସନ୍ତାକାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ଏହି ବିଜ୍ଞପ୍ତିରେ ଦର୍ଶାଯାଇଛି, ଆସନ୍ତାକାଲି ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ସମାବେଶରେ ପ୍ରଧାନମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବାରୁ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ ସମସ୍ୟା ଉପୁଜିବାର ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଦିବସର ଦ୍ୱିତୀୟାର୍ଦ୍ଧକୁ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ପାଇଁ ଛୁଟି ଘୋଷଣା କରିଛନ୍ତି।
ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିପାଇଁ ଆସନ୍ତାକାଲି କଟକ ଓ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ଗତକାଲି କଟକ ଓ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଥିଲା।