
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବ ଅନୁମୋଦନ ହୋଇଛି । ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାବିନେଟ କେତେକ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି । ସେଥିରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି । ସେହିପରି ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦିତ ହୋଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟର ନିଷ୍ପତ୍ତି ବାବଦରେ ସୂଚନା ଦେଇଛନ୍ତି ।
ଓଡ଼ିଶା ଜିଲ୍ଲା ରାଜସ୍ବ ସେବା (ନିଯୁକ୍ତି ପଦ୍ଧତି ଓ ସେବା ସର୍ଭାବଳୀ) ନିୟମାବଳୀ, ୧୯୮୩’ର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହା “ଓଡ଼ିଶା ଜିଲ୍ଲା ରାଜସ୍ବ ସେବା ସଂଶୋଧନ ନିୟମାବଳୀ, ୨୦୨୬” ନାମରେ ନାମିତ ହେବ । ଏହି ପୁନର୍ଗଠନ ପ୍ରକ୍ରିୟା ମଧ୍ୟବର୍ତ୍ତୀ କାଳୀନ ପଦୋନ୍ନତି ସ୍ତର ସୃଷ୍ଟି କରିବ । କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଥିବା ପଦୋନ୍ନତି ସ୍ଥାଣୁତା ସମସ୍ୟାର ସିଧାସଳଖ ସମାଧାନ କରିବ ।




