
ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳରେ ଆଜି ଘଟିଥିବା ଘଟଣା ନେଇ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି। ଏନେଇ ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ କ୍ଷୋଭ ପ୍ରକାଶ କରିବା ସହିତ ଲେଖିଛନ୍ତି, ଏହି ଅଭାବନୀୟ ଘଟଣାରେ ମୁଁ ଦୁଃଖିତ ଓ ମର୍ମାହତ। ଏହି ଘଟଣାକୁ ସରକାର ଗମ୍ଭୀରତାର ସହ ନେଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏମ୍ସ ହସ୍ପିଟାଲରେ ନାବାଳିକାଙ୍କ ଚିକିତ୍ସା ଚାଲୁଅଛି। ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା।ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇଦେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ ଏମ୍ସର ବର୍ଣ୍ଣ ୱାର୍ଡରେ ଚିକିତ୍ସା ଜାରି ରହିଛି। ହସ୍ପିଟାଲରେ ଅନେକ ରୋଗୀ ଥିବାରୁ ସାଧାରଣ ଲୋକଙ୍କ ଏକତ୍ରିତ ହେବା ଏବଂ ଶବ୍ଦ ସୃଷ୍ଟି କରିବା ଅନୁଚିତ। ଏହା ରୋଗୀଙ୍କ ସେବାରେ ବାଧା ସୃଷ୍ଟି କରିବ ଏବଂ ସଂକ୍ରମଣ ହାର ବୃଦ୍ଧି କରିବ। ତେଣୁ, ହସ୍ପିଟାଲ ପ୍ରବେଶ ସ୍ଥାନରୁ ଦୂରରେ ରହିବାକୁ ଏବଂ ହସ୍ପିଟାଲ ଲବି ଭିତରେ ଏକାଠି ନ ହେବାକୁ ଅନୁରୋଧ କରାଯାଉଛି।