
ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ବଢିବ ବର୍ଷାର ପ୍ରକୋପ । ଦାଉ ସାଧିବ ଭୀଷଣ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି । ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଶଙ୍କା ରହିଛି । ଏହି ସମୟରେ ଘଡ଼ଘଡ଼ି, ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର 13ଟି ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
“ଆଜି ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଏବଂ ଏହା ବାୟୁମଣ୍ଡଳର 5.8 କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତରବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି,” ବୋଲି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ନିଜର X ହ୍ୟାଣ୍ଡେଲ୍ରେ ଉଲ୍ଲେଖ କରିଛନ୍ତି ।
ଆସନ୍ତା 24 ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରରେ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ନିର୍ଦ୍ଦେଶିକା, ମନୋରମା ମହାନ୍ତି କହିଛନ୍ତି । ଏହି ସମୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଆଦି 13ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ସେପ୍ଟେମ୍ବର 11 ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସହିତ ଝଟକା ପବନ ଦେଖିବାକୁ ମିଳିବ । ପବନ ବେଗ କେତେକ ସ୍ଥାନରେ 30ରୁ 40 କିମି ପ୍ରତି ଘଣ୍ଟା ରହିବ । ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ସୁନ୍ଦରଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।







