
ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଏବଂ ପବନ ବହିବା ଦ୍ବାରା ତତଲା ପାଗରେ ପରିବର୍ତ୍ତନ ଆସିଛି।ଅପରପକ୍ଷରେ ପଶ୍ଚିମାଝଡ଼ ଏବଂ ନିମ୍ନଚାପରେଖା ସକ୍ରିୟ ରହିଥିବାରୁ ମେ ୧ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଏବଂ କିଛି ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଫଳସ୍ବରୂପ ପାଗରେ ପରିବର୍ତ୍ତନ ଆସିବା ସହ ତାତିରୁ ଆହୁରି ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁର ଜିଲାରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିପାରେ। କିଛି ଅଞ୍ଚଳରେ କୁଆପଥର ମାଡ଼ ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କେତେକ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।