
ଭୁବନେଶ୍ୱର: ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଜୁଲାଇ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଜି ଅପରାହ୍ନରେ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ରେ ଏହି ସୂଚନା ଦିଆଯାଇଛି। ଏହା ସହିତ ଆଜିଠାରୁ ଆସନ୍ତା ୨୪ ତାରିଖ ପର୍ୟ୍ୟନ୍ତ ରାଜ୍ୟର ପାଣିପାଗ କେମିତି ରହିବ ସେ ନେଇ ମଧ୍ୟ ଆକଳନ କରିଛି।
ଆସନ୍ତାକାଲି (ଜୁଲାଇ ୧୯) ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା, ବଜ୍ରପାତ ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଓ ଉପକୂଳ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ, ଗଜପତି ଆଦି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।